ବ୍ରହ୍ମପୁରରେ ୨ କୋଭିଡ-୧୯ ହସ୍ପିଟାଲକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
302

ବ୍ରହ୍ମପୁର -ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରହ୍ମପୁରରେ ଦୁଇଟି କୋଭିଡ ହସ୍‌ପିଟାଲ (୧୫୦+୧୫୦) ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। କିନ୍ତୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତ୍ତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ନିବେଦନ କରିଥିଲେ। ଗହଳି ନ ଯିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅନ ଲକ୍ – ୧(unlock one ) ପରେ ଦେଶର ହଟସ୍ପଟ ଅଞ୍ଚଳରୁ ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି। ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସରକାର ସବୁପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରତିବଦ୍ଧତା ପ୍ରକାଶ କରିଥିଲେ।କନିସି ସ୍ଥିତ ଅମିତ୍ ହସପିଟାଲ ଉଦଘାଟନ ରେ ଯୋଗ ଦେଇ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ଯ ରେ ସାସଂଦ ଚନ୍ଦ୍ର ଶେଖର ସାହୁ ଙ୍କ ସମେତ ଜିଲ୍ଲପାଳ ଉପସ୍ଥିତ ଥିଲେ।ସେପରି ବ୍ରହ୍ମପୁର ବଡ ମେଡିକାଲ ରେ ଅନୁଷ୍ଠିତ ଉତ୍ସର୍ଗୀକୃତ କୋବିଡ ହସପିଟାଲ କାର୍ଯ୍ୟକ୍ରମ ରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ବ୍ରହ୍ମପୁରର ଏହି ଦୁଇଟି ହସ୍‌ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ ସମେତ ବ୍ରହ୍ମପୁର ମହାନଗର କମିଶନର ଏବଂ ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା ଯୋଗ ଦେଇଥିଲେ । ବ୍ରହ୍ମପୁର ମହାନଗର ନିଗମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।
ଭୂବନେଶ୍ୱର ଠାରେ ଅନୁଷ୍ଠିତ ଏହି ଭିଡିଓ କନଫରେନ୍ସ କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ ଯେ ବ୍ରହ୍ମପୁରର କନିସି ଠାରେ ଥିବା ଅମିତ୍‌ ହସ୍‌ପିଟାଲରେ କଟକର ଅଶ୍ବିନୀ ହସ୍‌ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି (icu) ଆଇସିୟୁ ବେଡ୍ ରହିଛି। ସେହିପରି ବ୍ରହ୍ମପୁର (MKCG)ବଡ ମେଡିକାଲ ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍‌ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି (icu )ଆଇସିୟୁ ବେଡ୍ ଅଛି। ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀ ଠାରେ ଟାଟା କୋଭିଡ ହସ୍‌ପିଟାଲରେ ଚିକିତ୍ସା ଜାରି ରହିଛି ।

LEAVE A REPLY

Please enter your comment!
Please enter your name here